ଆଉ 6 ଅଧିକାରୀଙ୍କ ଚାକିରି ଗୋଲ

0

  • ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି
  • 3 ଜଣ ଏକ୍ଜିକ୍ୟୁଟିଭ ଇଞ୍ଜିନିୟର, ପୋଲିସ ଇନ୍ସପେକ୍ଟର, ଅତିରିକ୍ତ ଯୋଗାଣ ଅଧିକାରୀ ଓ ଜିଲ୍ଲା କଲ୍ୟାଣ ଅଧିକାରୀ ଅନ୍ତର୍ଭୁକ୍ତ
  • ଏପର୍ଯ୍ୟନ୍ତ ୧୫୮ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର//TATKAL ODISHA//

   ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି। ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ଏବଂ ଏଥିରେ ବିଭିନ୍ନ କ୍ଷେତ୍ରରେ ଥିବା ଅଧିକାରୀ, ଯଥା - 3 ଜଣ ଏକ୍ଜିକ୍ୟୁଟିଭ ଇଞ୍ଜିନିୟର, ଜଣେ ପୋଲିସ ଇନ୍ସପେକ୍ଟର, ଅତିରିକ୍ତ ଯୋଗାଣ ଅଧିକାରୀ ଓ ଜିଲ୍ଲା କଲ୍ୟାଣ ଅଧିକାରୀ ପ୍ରମୁଖ ଅନ୍ତର୍ଭୁକ୍ତ । 

ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୮ ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ  ବା ବାଧ୍ୟତାମୂଳକ ଅବସର ଦିଆଯାଇଛି । 

ଏହି ୬ ଜଣଙ୍କ ମଧ୍ୟରୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ   ବିଭାଗ ଅଧିନସ୍ଥ ଜନସ୍ବାସ୍ଥ୍ୟ ଇଞ୍ଜିନିୟରିଂ କ୍ୟାଡରର ୩ ଜଣ ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟର ରହିଛନ୍ତି।  ଏମାନଙ୍କ ମଧ୍ୟରୁ ସରୋଜ କୁମାର ଦାସଙ୍କ କାର୍ଯ୍ୟଶୈଳୀ ଆଦୌ ସନ୍ତୋଷଜନକ ନ ଥିଲା ଏବଂ ତାଙ୍କର ଅତୀତର ରେକର୍ଡରୁ ଜଣାଯାଇଛି ଯେ କାର୍ଯ୍ୟ କ୍ଷେତ୍ରରେ ଅତ୍ୟନ୍ତ ଅପାରଗ ଥିଲେ। ତାଙ୍କ କାର୍ଯ୍ୟଶୈଳୀରେ ଅସଙ୍ଗତି,  ନିଷ୍ଠାର ଅଭାବ ଏବଂ ଅପାରଗତା ଯୋଗୁ ସେ ଜଣେ ସରକାରୀ ଅଧିକାରୀ ଭାବେ ଦାୟିତ୍ବ ତୁଲାଇବା ଜନସ୍ବାର୍ଥର ପରିପନ୍ଥୀ । ତେଣୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

   ସେହିପରି ଏକ୍ଜିକ୍ୟୁଟିଭ ଇଞ୍ଜିନିୟର ଦୟାନିଧି ସାମଲଙ୍କ କାର୍ଯ୍ୟକଳାପ ମଧ୍ୟ ସନ୍ତୋଷଜନକ ନୁହେଁ।  ତାଙ୍କର କାର୍ଯ୍ୟକଳାପ ଜଣେ ଦାୟିତ୍ବବାନ ସରକାରୀ କର୍ମଚାରୀଙ୍କ କାର୍ଯ୍ୟର ପରିପନ୍ଥୀ ଓ ଜନସ୍ବାର୍ଥ ବିରୋଧୀ। ଏହାସହିତ ଅପାରଗତା ଓ ଅସାଧୁତା ଆଦି କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।
ଏକ୍ଜିକ୍ୟୁଟିଭ ଇଞ୍ଜିନିୟର କରୁଣାକର ଘଡାଇଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି। ଜଣେ ଯୋଗାଣକାରୀଙ୍କୁ ସେ ଅନୁଚିତ ଅନୁଗ୍ରହ ପ୍ରଦର୍ଶନ କରିଥିଲେ। ତାଙ୍କର କାର୍ଯ୍ୟକଳାପ ସନ୍ତୋଷଜନକ ନୁହେଁ ଏବଂ ତାଙ୍କ ବିରୁଦ୍ଧରେ ଅସାଧୁତାର ପ୍ରମାଣ ମଧ୍ୟ ରହିଛି । ତେଣୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। 

    ଅନୁଗୁଳ ଜିଲ୍ଲା ପୋଲିସ ଇନ୍‌ସପେକ୍ଟର   ରତ୍ନାକର ମଲ୍ଲିକଙ୍କୁ ଅପାରଗତା  କାରଣକୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ନୂଆପଡା ଜିଲ୍ଲାର ଅତିରିକ୍ତ ଯୋଗାଣ ଅଧିକାରୀ  ରତ୍ନାକର ସେଠୀଙ୍କ ନାମରେ ଦୁଇଟି ଦୁର୍ନୀତି ମାମଲ ରହିଛି । ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢାଉ କରାଯାଇ ତାଙ୍କ ନିକଟରୁ ୬.୫ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଜବତ କରାଯାଇ ତାଙ୍କୁ ଜେଲ୍‌କୁ ପଠାଯାଇଛି । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । 

ଅନୁଗୁଳ ଜିଲ୍ଲାର ପୂର୍ବତନ କଲ୍ୟାଣ ଅଧିକାରୀ ମିସ୍‌ ଚାରୁଲତା ମଲ୍ଲିକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି। ଜିଲ୍ଲା କଲ୍ୟାଣ ଅଧିକାରୀ ଭାବରେ ସେ ଲାଞ୍ଚ ଗ୍ରହଣ କରୁଥିବା ବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ। ସେ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିଲା। ବର୍ତ୍ତମାନ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। 


ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୮ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି।

Leave A Reply

Your email address will not be published.