ଆରପାରିରେ ପ୍ରଜ୍ଞା ପୁରୁଷ :ଯୁଗର ଅବସାନ

0
  • ରାଜ୍ୟପାଳ ,ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ
  • ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପୁଡ଼ୁଚେରୀ ସରକାରଙ୍କୁ ଅନୁରୋଧ
  • ରାଜ୍ୟ ସଂସ୍କୃତି ମନ୍ତୀ ଯୋଗଦେବେ

ପୁଡ଼ୁଚେରୀ,ଭୁବନେଶ୍ୱର//ତତ୍କାଳ ଓଡିଶା//

ବିଶିଷ୍ଟ ସାହିତ୍ୟିକ ପଦ୍ମଭୂଷଣ ମନୋଜ ଦାସଙ୍କର ଆଜି ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ହୋଇଥିଲା। ପୁଡୁଚେରୀ ଆଶ୍ରମ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି।ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ,ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି I ତାଙ୍କର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପୁଡ଼ୁଚେରୀ ସରକାରଙ୍କୁ ଅନୁରୋଧ କରିଛନ୍ତି I ରାଜ୍ୟ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ରଞ୍ଜନ ପାଣିଗ୍ରାହୀ ପୁଡ଼ୁଚେରି ଯିବାକୁ ନିର୍ଦେଶ ଦିଆଯାଇଛି I

ମଙ୍ଗଳବାର ମନୋଜ ଦାସଙ୍କ ପରଲୋକ ନେଇ ପରିବାର ପକ୍ଷରୁ ସୂଚନା ମିଳିଛି।

ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ। ଚିକତ୍ସାଧୀନ ଅବସ୍ଥାରେ ଆଜି ସେ ଶେଷନଃଶ୍ୱାସ ତ୍ୟାଗ କରିଛନ୍ତି।
ଅନେକ ପୁରସ୍କାର ଓ ସମ୍ମାନର ଅଧିକାରୀ ମନୋଜ ଦାସଙ୍କ ଅବଦାନ ଇଂରାଜୀ ଓ ଓଡ଼ିଆ ସାହିତ୍ୟ ପାଇଁ ଥିଲା ଅତୁଳନୀୟ। ଅନେକ କାଳଜୟୀ ଓଡ଼ିଆ ଉପନ୍ୟାସ ଓ କ୍ଷୁଦ୍ରଗଳ୍ପର ସ୍ରଷ୍ଟା ଥିଲେ ମନୋଜ ଦାସ। ସେ ଅମୃତ ଫଳ, ଶେଷ ତାନ୍ତ୍ରିକର ସନ୍ଧାନରେ, ଆରଣ୍ୟକ, ଲକ୍ଷ୍ମୀର ଅଭିସାର, ଆବୁ ପୁରୁଷ, ଶେଷ ବସନ୍ତର ଚିଠି, ଅରଣ୍ୟ ଉଲ୍ଲାସର ରଚୟତା।

ତାଙ୍କୁ ୨୦୦୧ରେ ପଦ୍ମଶ୍ରୀ ଓ ୨୦୨୦ରେ ଭାରତ ସରକାର ପଦ୍ମଭୂଷଣ ସମ୍ମାନରେ ସମ୍ମାନିତ କରିଥିଲେ।
ମନୋଜ ଦାସ ବାଲେଶ୍ୱର ଜିଲ୍ଲାର ଶଙ୍ଖାରି ଗ୍ରାମଠାରେ ୧୯୩୪ ମସିହା ଫେବୃଆରୀ ୨୭ ତାରିଖ ଜନ୍ମଗ୍ରହଣ କରିଥିଲେ। ବାଲେଶ୍ୱର ଜିଲ୍ଲା ସ୍କୁଲରେ ପଢିବା ସମୟରେ ତାଙ୍କ ବ୍ୟକ୍ତିତ୍ୱର ବିଭିନ୍ନ ଦିଗ ବିକଶିତ ହୋଇଥିଲା। ସେତେବେଳେ ବଡ଼ଭାଇ ମନ୍ମଥ ନାଥ ଦାସ ଫକୀର ମୋହନ ମହାବିଦ୍ୟାଳୟର ଇତିହାସ ଅଧ୍ୟାପକ ଥିଲେ। ବାଲେଶ୍ୱରରେ ଅଧ୍ୟୟନ କରୁଥିବା ସମୟରେ ତାଙ୍କର ପ୍ରଥମ ଗ୍ରନ୍ଥ ସଂକଳନ ‘ସମୁଦ୍ରର କ୍ଷୁଧା’ ପ୍ରକାଶ ପାଇଲା। ସେହି ସମୟରେ ‘ଦିଗନ୍ତ’ ପତ୍ରିକା ସମ୍ପାଦନା ଆରମ୍ଭ କରିଥିଲେ। ପରେ ସେ ବାମପନ୍ଥୀ ଆନ୍ଦୋଳନ ସହିତ ଯୋଗ ଦେଇଥିଲେ। ୧୯୫୫ ମସିହାରେ ପୁରୀ ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟରୁ ସ୍ନାତକ ଡିଗ୍ରୀ ହାସଲ କରି କଟକରେ ଆଇନ ଅଧ୍ୟୟନ କରିଥିଲେ। ରେଭେନ୍ସା ମହାବିଦ୍ୟାଳୟରୁ ଇଂରାଜୀ ସ୍ନାତକୋତ୍ତର ଅଧ୍ୟୟନ ପରେ ୧୯୫୯ ମସିହାରେ ଖ୍ରୀଷ୍ଟ ମହବିଦ୍ୟାଳୟରେ ଅଧ୍ୟାପନା କରିଥିଲେ।

Leave A Reply

Your email address will not be published.