ଆଉ ଇହଜଗତରେ ନାହାନ୍ତି ରଜତ କର

0

-* ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ 

ଭୁବନେଶ୍ୱର//TATKAL ODISHA// 

ଓଡ଼ିଶାର ବିଶିଷ୍ଟ ସାହିତ୍ୟିକ, ଶ୍ରୀଜଗନ୍ନାଥ ଧର୍ମ ପ୍ରଚାରକ   ତଥା ପଦ୍ମଶ୍ରୀ ରଜତ କର ଆଉ ଇହଜଗତରେ ନାହାନ୍ତି I ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା । ତେବେ ହୃଦଘାତରେ ତାଙ୍କ ପରଲୋକ ଘଟିଥିବା ଜଣାପଡିଛି ।

ପଦ୍ମଶ୍ରୀ  ସ୍ବର୍ଗତ ରଜତ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ର ସହ କରାଯିବ  ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରଛନ୍ତି.

 ସ୍ବର୍ଗତ କର ୧୯୩୪ର ଅକ୍ଟୋବର ୨ରେ କଟକ ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କୁଳମଣି କର ଓ ମାତାଙ୍କ ନାମ ଇନ୍ଦୁମତୀ ଦେବୀ । ସେ ରେଭେନ୍ସା କଲିଜେଟ ସ୍କୁଲର ଛାତ୍ର ଥିଲେ ଏବଂ ପରେ ଅର୍ଥନୀତିରେ ସ୍ନାତକୋତର ଡିଗ୍ରୀ କରିଥିଲେ । ସ୍ୱର୍ଗତ କର ଜଣେ ଶିକ୍ଷାବିତ୍ ଭାବରେ ଓଡ଼ିଶା ସରକାରଙ୍କ ଶିକ୍ଷା ବିଭାଗରେ ଦୀର୍ଘଦିନ ଧରି କାମ କରିଥିଲେ ଏବଂ ଏସସିଇଆଇଟିର ନିର୍ଦ୍ଦେଶକ ଭାବେ ଚାକିରିରୁ ଅବସର ଗ୍ରହଣ କରିଥିଲେ । ସେ ଆକାଶବାଣୀର ବିଭିନ୍ନ କାର୍ଯ୍ୟକ୍ରମରେ ଅଭିନୟ କରିବା ସହିତ ଅନେକ ନାଟକ ମଧ୍ୟ ରଚନା କରିଛନ୍ତି ।2021ରେ ତାଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ପୁରସ୍କୃତ କରାଯାଇଥିଲା ।

   ସ୍ବର୍ଗତ କର ଜଣେ ଓଡ଼ିଆ ଶିକ୍ଷାବିତ, ନାଟ୍ୟକାର ଓ ଜଗନ୍ନାଥ ସଂସ୍କୃତିର ପ୍ରବକ୍ତା ଥିଲେ । ଦୀର୍ଘ ୬୦ ବର୍ଷ ଧରି ସେ ଟିଭି ଓ ରେଡ଼ିଓରେ ରଥଯାତ୍ରାର ଧାରା ବିବରଣୀ ପ୍ରଦାନ କରି ଓଡ଼ିଶାର ଜନମାନସରେ ଏକ ସ୍ୱତନ୍ତ୍ର ସ୍ଥାନ ତିଆରି କରିଛନ୍ତି ।ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ଜଣେ ସୁବକ୍ତା ଭାବେ ତାଙ୍କର ଖ୍ୟାତି ରହିଛି ।

  • ମୁଖ୍ୟମନ୍ତ୍ରୀଙ୍କ ଶୋକ

ସ୍ବର୍ଗତ କରଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି I 

ସୁସାହିତ୍ୟିକ, ଜଗନ୍ନାଥ ସଂସ୍କୃତି ର ଅନନ୍ୟ ଗବେଷକ ପଦ୍ମଶ୍ରୀ ରଜତ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି .

ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ରଜତ କର ଓଡ଼ିଆ ସାରସ୍ୱତ ଜଗତକୁ ବହୁ ଭାବରେ ସମୃଦ୍ଧ କରିଯାଇଛନ୍ତି .
ଭଞ୍ଜ ସାହିତ୍ୟରେ ତାଙ୍କର ଅଗାଧ ପାଣ୍ଡିତ୍ୟ ଥିଲା.
ଓଡ଼ିଆ ସଂସ୍କୃତି ଓ ପରମ୍ପରା ବିଶେଷ କରି ଜଗନ୍ନାଥ ସଂସ୍କୃତି ର ପ୍ରଚାର ପ୍ରସାର ରେ ତାଙ୍କର ଅବଦାନ ପାଇଁ ସେ ସବୁବେଳେ ସ୍ମରଣୀୟ ହୋଇ ରହିବେ.
ତାଙ୍କ ବିୟୋଗରେ ଓଡିଶା ଜଣେ ସୁଯୋଗ୍ୟ ସନ୍ତାନକୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି.

ଶୋକ ସନ୍ତପ୍ତ ପରିବାର କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକ ଗତ ଆତ୍ମାର ସଦଗତି କାମନା କରିଛନ୍ତି.

  • କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଶୋକ

ପଦ୍ମଶ୍ରୀ ରଜତ କରଙ୍କ ବିୟୋଗରେ ଓଡ଼ିଶା ଜଗନ୍ନାଥ ସଂସ୍କୃତିର ଜଣେ ଉଚ୍ଚକୋଟୀର ଗବେଷକ ଓ ସୁବକ୍ତାଙ୍କୁ ହରାଇଲା-ଧର୍ମେନ୍ଦ୍ର ପ୍ରଧାନ

• ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ଓ ପରମ୍ପରାକୁ ଡ଼.କରଙ୍କ ଅବଦାନ ଅକଳ୍ପନୀୟ

ଭୁବନେଶ୍ୱର, ମଇ୦୮- ଓଡ଼ିଶାର ବିଶିଷ୍ଟ ଶିକ୍ଷାବିତ୍, ନାଟ୍ୟକାର, ଜଗନ୍ନାଥ ସଂସ୍କୃତିର ପ୍ରଚାରକ ଓ ପ୍ରବକ୍ତା ପଦ୍ମଶ୍ରୀ ଡ଼. ରଜତ କରଙ୍କ ବିୟୋଗ ଖବରରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ପଦ୍ମଶ୍ରୀ ଡ଼. ରଜତ କରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ଓ ପରମ୍ପରାକୁ ତାଙ୍କର ଅବଦାନ ଅକଳ୍ପନୀୟ । ସାହିତ୍ୟ କ୍ଷେତ୍ରରେ ନିଜର ଅନନ୍ୟ ସାଧନା ପାଇଁ ସେ ଓଡ଼ିଆ ପାଠକଙ୍କ ନିକଟରେ ଯଶସ୍ୱୀ ହୋଇପାରିଥିଲେ । ଲୋକନାଟ୍ୟ ‘ପାଲା’କୁ ଜୀବନ୍ତ ରଖିବାରେ ମଧ୍ୟ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା । ଟିଭି ଓ ରେଡ଼ିଓରେ ରଥଯାତ୍ରାର ଭାଷ୍ୟକାର ଭାବେ ଓଡ଼ିଆ ଜନମାନସରେ ସେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ । ଜଗନ୍ନାଥ ସଂସ୍କୃତି ଓ ରୀତିନୀତିକୁ ନେଇ ତାଙ୍କର କାଳଜୟୀ ସାହିତ୍ୟ ରଚନା ଚିର ସ୍ମରଣୀୟ ହୋଇ ରହିବ । ତାଙ୍କ ବିୟୋଗରେ ଓଡ଼ିଶା ଜଗନ୍ନାଥ ସଂସ୍କୃତିର ଜଣେ ଉଚ୍ଚକୋଟୀର ଗବେଷକ ଓ ସୁବକ୍ତାଙ୍କୁ ହରାଇଲା ।

ଶ୍ରୀ ପ୍ରଧାନ ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

Leave A Reply

Your email address will not be published.